ଉଠ କଙ୍କାଳ

ଦୁର୍ଗମ ଗିରି ଦୁର୍ଗ ପ୍ରାଚୀର ଜୀର୍ଣ୍ଣ ଦୁଆରେ ବସି,
ଡାକେ ତାନ୍ତ୍ରିକ ମନ୍ତ୍ର ସାଧନେ ଜାଗ୍ରତ ପୁରବାସୀ !
ପୃଥ୍ବୀ ବିଦାରି ବାରବାଟୀ ମଡ଼ା ଉଠ ଉଠ ଚଞ୍ଚଳ,
ଖୋରଧାର ଶତ ସରଦାର ଶିର କର ଉନ୍ନତତର !
ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ।

ମେଘାସନ ତଳ ମନ୍ଦ୍ର-ନିନାଦ ବାଜେ ଫୁଲଝର ବୁକେ
ରାଇବଣିଆର ରଣ ସଙ୍ଗୀତ ଗଞ୍ଜାମ ପଥେ ଡାକେ ।
ସିଂଭୂମ କହେ ମରଣ ଦୁଆରେ ବିଶାଖାପାଟଣା ଚାହିଁ
ସନ୍ତାନ ମୁଖେ, ଶମଶାନ ବୁକେ ପ୍ରାଣ ସଙ୍କେତ ନାହିଁ ।
ଉଠ ଦୁର୍ବଳ, ଜାଗ କଙ୍କାଳ, ଛିଡ଼ୁ ଶୃଙ୍ଖଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ।

ଚିର ବନ୍ଦିତା ବନ୍ଦିନୀ ମାଆ ବନ୍ଧନ ଫେଇବାରେ,
ସମ୍ବଲପୁର ସମ୍ବଳ ବୀର ଦମ୍ଭ କି ନାହିଁ ଧରେ ?
ଗଙ୍ଗା ଧୋଇଲା ଚିକୁର ଯାହାର, କୃଷ୍ଣା ଚରଣ ତଳ
ଶମଶାନ ଆଜି ମଡ଼ାଦେଶ ଆଜି, ଏହି ସେ ଉତ୍କଳ ।
ଜାଗ ଦୁର୍ବଳ, ଛିଡ଼ୁ ଶୃଙ୍ଖଳ, ଉଠ କଙ୍କାଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ।

ନିଜାମ ଭୁବନେ କଳବର୍ଗର ଅର୍ଗଳ ଏଡ଼ି ଦିନେ
ଗଜପତି ବୀର ‘ବେରାର’ ଭେଦିଲା ଜୟ ଗୌରବ ଗାନେ ।
ଦୁର୍ବାର ଗଡ଼, ‘ଦେବର କୋଣ୍ଡା’ କହେ ଆଜି ସେହି କଥା
ବାରବାଟୀ ବୀର ଦେଇଥିଲା ତାର ରଣେ ଉନ୍ନତ ମଥା ।
ଛିଡ଼ୁ ଶୃଙ୍ଖଳ, ଜାଗ କଙ୍କାଳ, ଉଠ ଦୁର୍ବାର ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ।

ଖଣ୍ଡାକୁଶଳ ଖଣ୍ଡାୟତର ଦୁର୍ବାର କରବାଳେ
ଅଜେୟ ବଙ୍ଗ-ବାହିନୀ ଶୋଇଲେ ‘ଶତଗଡ଼’ ପ୍ରାନ୍ତରେ
ଗଉଡ଼ ଭୁବନ ହେଲା ପଦାନତ ମଗଧ ପାଇଲା ଲୀନ,
ପ୍ରତାପୀ ପୁଷ୍ପମିତ୍ର ହଟିଲା ଦେଇ ଉତ୍କଳେ ରଣ ।
ଜାଗ କଙ୍କାଳ, ଜାଗ କଙ୍କାଳ, ଜାଗ କଙ୍କାଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ।

କଥା କହ କଥା କହ କଙ୍କାଳ! ସେ କେତେ ଯୁଗର କଥା,
ହିମାଚଳ ତଳେ ଟେକିଥିଲା ଯେବେ ଏ ଜାତିର ବୀର ମଥା ।
ବିଜୟୀ ‘ବିଜୟ ନଗର’ ମାଗିଲା ଶରଶ ଚରଣ ତଳେ,
‘ବାହାମନୀ’ ପତି ଯବନ, ଶମନ କାତରେ ଲୁଚିଲା ଘରେ ।
ଉଠ କଙ୍କାଳ, ଉଠ ଦୁର୍ବଳ, ଛିଡ଼ୁ ଶୃଙ୍ଖଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ।

ହାଡ଼ ପାଶୁ ଆଜି ଭାଷା ବହି ଆସୁ, ଫୁଟୁ ମଡ଼ା ମୁଖେ ହସ
ଭଗ୍ନ ଏ ଗଡ଼ ମନ୍ଦିରେ ଶୁଭୁ ଦୁନ୍ଦୁଭି ଅହର୍ନିଶ ।
ଶମଶାନ ଧୂଳି ଅଞ୍ଜଳି ଭରି ନିଅ ପୁରବାସୀ ଜନ;
ଲକ୍ଷ ଜୀବନ ସାକ୍ଷ୍ୟ ଦେବ ସେ ଗୌରବେ ମହୀୟାନ ।
ଉଠ କଙ୍କାଳ, ଭେଦି ମହାକାଳ, ଜାଗ ଦୁର୍ବଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ।

ବେଳନାହିଁ, ବେଳ ନାହିଁ, କଙ୍କାଳ ! ଟେକ ଚଞ୍ଚଳ ମଥା
ବିଦାରି ଉପଳ ନିର୍ମଳ ତବ ପିଞ୍ଜରୁ ଉଠୁ ବ୍ୟଥା,
ବାଜିଉଠୁ ବାରେ ମରଣ-ବିଜୟୀ ବଂଶୀ ସେ ବୁକୁତଳେ,
ଧୂର୍ଜଟି ଜଟାଜୁଟ କମ୍ପାଇ ଯୌବନ କୁତୂହଳେ ।
ଉଠ କଙ୍କାଳ, ଉଠ ଦୁର୍ବଳ, ଜାଗ କଙ୍କାଳ ଆଜି
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ।

You may also like...